ଆଗାମୀ ୪ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା

ରାଜ୍ୟରେ ଆସନ୍ତା ୧୦ ତାରିଖ ଯାଏଁ କାଳବୈଶାଖୀ ସମ୍ଭାବନା । ଆଗାମୀ ୪ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ଦର୍ଶାଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଆଜି ଓ ଆସନ୍ତାକାଲି କିଛି ସ୍ଥାନରେ ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆଜି ମୟୂରଭଞ୍ଜ, କେନ୍ଦୁଝର ଏବଂ ଯାଜପୁର ଜିଲାରେ ଘଡ଼ଘଡ଼ି ବିଜୁଳି ସହ ପ୍ରବଳ ବର୍ଷା ହେବା ନେଇ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି।

ବର୍ଷା ସମୟରେ ୫୦ରୁ ୬୦ କି.ମି. ବେଗରେ ପବନ ବୋହିବା ସମ୍ଭାବନା ଥିବାରୁ ଏହି ସମୟରେ ଆବଶ୍ୟକ ନ ପଡ଼ିଲେ ଘରୁ ନ ବାହାରିବାକୁ ପରାମର୍ଶ ଦିଆଯାଇଛି। ସେହିପରି ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ଅନୁଗୋଳ, ଢେଙ୍କାନାଳ, ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, ବଲାଙ୍ଗୀର, ସୋନପୁର, ବୌଦ୍ଧ, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ବରଗଡ଼ ଏବଂ ଝାରସୁଗୁଡ଼ା ଜିଲାକୁ ବର୍ଷା ପବନ ଓ ଘଡ଼ଘଡ଼ି ବିଜୁଳି ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଗୁରୁବାର ବେଳକୁ ବର୍ଷାର ପରିମାଣ ସାମାନ୍ୟ କମିବ ବୋଲି ପୂର୍ବାନୁମାନ କରାଯାଇଛି।