ଆଜିଠୁ ରାଜ୍ୟରେ ମୌସୁମୀ ପ୍ରତ୍ୟାବର୍ତ୍ତନ ପାଇଁ ପ୍ରକ୍ରିୟା ଆରମ୍ଭ ହେବ

ଆଜିଠୁ ରାଜ୍ୟରୁ ଫେରିବ ମୌସୁମୀ । ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପ୍ରତ୍ୟାବର୍ତ୍ତନ ପାଇଁ ପ୍ରକ୍ରିୟା ଆରମ୍ଭ ହେବ । ମୌସୁମୀ ଅପସାରଣ ପାଇଁ ପାଗ ଅନୁକୂଳ ରହିଥିବା କହିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ସମେତ ପଶ୍ଚିମବଙ୍ଗ, ସିକିମ୍‌, ତେଲେଙ୍ଗାନାର କିଛି ଅଞ୍ଚଳ, ମହାରାଷ୍ଟ୍ର, ମଧ୍ୟପ୍ରଦେଶ, ଉତ୍ତର ପ୍ରଦେଶ ଓ ବିହାରର ଅବଶିଷ୍ଟ ଅଂଶ, ଝାଡ଼ଖଣ୍ଡ ଓ ଛତିଶଗଡ଼ରୁ ସମ୍ପୂର୍ଣ୍ଣ ଭାବେ ପ୍ରତ୍ୟାବର୍ତ୍ତନ କରିବ। ପରବର୍ତ୍ତୀ ୨ରୁ ୩ ଦିନ ମଧ୍ୟରେ ଉତ୍ତର-ପୂର୍ବ ଭାରତରୁ ମୌସୁମୀ ପ୍ରତ୍ୟାବର୍ତ୍ତନ ପାଇଁ ପାଗ ଅନୁକୂଳ ରହିଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା‌ ଦିଆଯାଇଛି। ଆସନ୍ତା ୬ରୁ ୭ ଦିନ ମଧ୍ୟରେ ସର୍ବନିମ୍ନ ତାପମାତ୍ରାରେ ବଡ଼ ପରିବର୍ତ୍ତନ ହେବ ନାହିଁ। ତେବେ ଆସନ୍ତାକାଲି(ମଙ୍ଗଳବାର) କିଛି ସ୍ଥାନରେ ବର୍ଷା ହୋଇପାରେ । ସେ ଜିଲ୍ଲା ଗୁଡିକ ହେଲା କଳାହାଣ୍ଡି, ନବରଙ୍ଗପୁର, ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, ଗଞ୍ଜାମ । ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଏସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।