ଓଡ଼ିଶା ଦିବସ ଅବସରରେ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ

ଆଜି ୯୦ତମ ଉତ୍କଳ ଦିବସ ପାଳନ କରୁଛି ଓଡ଼ିଶା । ୧୯୩୬ ମସିହା ଏପ୍ରିଲ ୧ ଓଡ଼ିଶା ଇତିହାସରେ ସ୍ବର୍ଣ୍ଣିମ ଅକ୍ଷରରେ ବିଦିତ ଏକ ଅବିସ୍ମରଣୀୟ ତାରିଖ ।ଏହି ଅବସରରେ ବିଭିନ୍ନ ମହଲରୁ ଶୁଭେଚ୍ଛାର ବାର୍ତ୍ତା ଦିଆଯାଉଛି । ଦେଶର ରାଷ୍ଟ୍ରପତି ମହାମହିମ ଦ୍ରୌପଦୀ ମୁର୍ମୁ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଏହାସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଧ୍ୟ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମ ‘ଏକ୍ସ’ରେ ରାଷ୍ଟ୍ରପତି ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ରାଷ୍ଟ୍ରପତି ଲେଖିଛନ୍ତି, ଓଡ଼ିଶା ଦିବସ ଉପଲକ୍ଷେ ଓଡ଼ିଶାବାସୀ ଭାଇଭଉଣୀମାନଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା । ଓଡ଼ିଶାର ସମୃଦ୍ଧ ସାଂସ୍କୃତିକ ଐତିହ୍ୟ, ସୁପ୍ରାଚୀନ ପରମ୍ପରା ତଥା ଓଡ଼ିଶାବାସୀଙ୍କ ଧୈର୍ଯ୍ୟ ଓ ସହନଶୀଳତାର ସ୍ୱାକ୍ଷର ବହନ କରେ ଏହି ଦିବସ । ଦେଶର ସ୍ୱାଧୀନତା ସଂଗ୍ରାମ ଏବଂ ରାଷ୍ଟ୍ରଗଠନରେ ଓଡ଼ିଶାର ଅମୂଲ୍ୟ ଯୋଗଦାନ ଆମ ସମସ୍ତଙ୍କୁ ସବୁବେଳେ ପ୍ରେରଣା ଦେଇଆସିଛି । ବିକଶିତ ଭାରତ ନିର୍ମାଣରେ କୁଶଳ ଏବଂ କର୍ମଠ ଓଡ଼ିଶାବାସୀଙ୍କ ଭୂମିକା ବେଶ୍ ଉଲ୍ଲେଖନୀୟ । ଆଜିର ଏହି ଶୁଭ ଅବସରରେ ଓଡ଼ିଶାବାସୀଙ୍କ ସୁଖ-ସମୃଦ୍ଧି ଓ ମଙ୍ଗଳ ନିମନ୍ତେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ମୁଁ ପ୍ରାର୍ଥନା କରୁଅଛି ।​​​​​​​ ସେହିଭଳି ଉତ୍କଳ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁଭେଚ୍ଛା ଜଣାଇଛନ୍ତି । ସାମାଜିକ ଗଣମାଧ୍ୟମ ଏକ୍ସରେ ସ୍ୱତନ୍ତ୍ର ଓଡିଶା ପ୍ରଦେଶ ଗଠନର ଏହି ଐତିହାସିକ ଦିବସ ଅବସରରେ ଦେଶ ଓ ବିଦେଶରେ ରହୁଥିବା ସମସ୍ତ ଓଡିଆ ଭାଇ ଭଉଣୀମାନଙ୍କୁ ମୋର ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା ବୋଲି କହିଛନ୍ତି ।ଏକ୍ସରେ ଏକ ପୋଷ୍ଟ କରି ପ୍ରଧାନମନ୍ତ୍ରୀ କହିଛନ୍ତି ଯେ କେନ୍ଦ୍ର ଏବଂ ରାଜ୍ୟ ସରକାର ପ୍ରଗତି ପାଇଁ ଏକାଠି କାମ କରୁଛନ୍ତି। ଉତ୍କଳ ଦିବସରେ ହାର୍ଦ୍ଦିକ ଶୁଭେଚ୍ଛା! ଏହି ଦିନ ଓଡ଼ିଶାର ଗୌରବମୟ ସଂସ୍କୃତିକୁ ଉପଯୁକ୍ତ ଶ୍ରଦ୍ଧାଞ୍ଜଳି ପ୍ରଦାନ କରେ। ଭାରତ ଓଡ଼ିଶାର ଇତିହାସ, ସାହିତ୍ୟ ଏବଂ ସଙ୍ଗୀତ ପାଇଁ ଗର୍ବିତ। ଓଡ଼ିଶାର ଲୋକମାନେ ପରିଶ୍ରମୀ ଏବଂ ବିଭିନ୍ନ କ୍ଷେତ୍ରରେ ଉତ୍କର୍ଷ ହାସଲ କରିଛନ୍ତି।