ରଥଯାତ୍ରା ପାଇଁ ବିଭିନ୍ନ ଦିଗରୁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରିବାକୁ ନିର୍ଦ୍ଦେଶ
ଆସନ୍ତା ଜୁଲାଇ ୧୬ରେ ପୁରୀରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହେବାକୁ ଯାଉଛି । ଏହାକୁ ଶୃଙ୍ଖଳିତ, ସୁରକ୍ଷିତ ଏବଂ ସୁବ୍ୟବସ୍ଥିତ ଭାବେ ସମ୍ପନ୍ନ କରିବା ପାଇଁ ଆଜି (ଗୁରୁବାର) କଟକସ୍ଥିତ ରାଜ୍ୟ ପୋଲିସ ମୁଖ୍ୟ କାର୍ଯ୍ୟାଳୟରେ ପୋଲିସ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି ।ବୈଠକରେ ଡିଜିପି ଶ୍ରୀ ଖୁରାନିଆ ରଥଯାତ୍ରା ସମୟରେ ସମସ୍ତ ସୁରକ୍ଷା ଓ ପରିଚାଳନା ବ୍ୟବସ୍ଥାକୁ ଅଧିକ ସୁଦୃଢ଼ କରିବା ସହ ତୃଣମୂଳ ସ୍ତରରୁ ସମନ୍ୱିତ ଭାବେ କାର୍ଯ୍ୟ କରିବାକୁ ବରିଷ୍ଠ ପୋଲିସ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। କୌଣସି ପରିସ୍ଥିତିରେ ଯେପରି ତ୍ରୁଟିବିଚ୍ୟୁତି ନ ଘଟେ, ସେଥିପାଇଁ ପ୍ରତ୍ୟେକ ବ୍ୟବସ୍ଥା ଉପରେ ସ୍ୱତନ୍ତ୍ର ନଜର ରଖିବାକୁ ସେ ପରାମର୍ଶ ଦେଇଛନ୍ତି।ଶ୍ରୀମନ୍ଦିର ପରମ୍ପରା ଅନୁଯାୟୀ ଶ୍ରୀଜୀଉଙ୍କ ବିଭିନ୍ନ ରୀତିନୀତି ନିର୍ଦ୍ଦିଷ୍ଟ ତାରିଖରେ ପାଳନ କରାଯିବ । ଆସନ୍ତା ଜୁନ ୨୯ ତାରିଖରେ ଦେବସ୍ନାନ ପୂର୍ଣ୍ଣିମା, ଜୁଲାଇ ୧୪ ତାରିଖରେ ନବଯୌବନ ଦର୍ଶନ, ଜୁଲାଇ ୧୬ ତାରିଖରେ ରଥଯାତ୍ରା, ଜୁଲାଇ ୨୦ ତାରିଖରେ ହେରା ପଞ୍ଚମୀ, ଜୁଲାଇ ୨୩ ତାରିଖରେ ସଂନ୍ଧ୍ୟା ଦର୍ଶନ, ଜୁଲାଇ ୨୪ ତାରିଖରେ ବାହୁଡା ଯାତ୍ରା, ଜୁଲାଇ ୨୫ ତାରିଖରେ ସୁନାବେଶ, ଜୁଲାଇ ୨୬ ତାରିଖରେ ଅଧରପଣା ଏବଂ ଜୁଲାଇ ୨୭ ତାରିଖରେ ନୀଳାଦ୍ରି ବିଜେ ଅନୁଷ୍ଠିତ ହେବ । ଏହି ଅବସରରେ ଦେଶ-ବିଦେଶରୁ ଲକ୍ଷାଧିକ ଭକ୍ତ ପୁରୀରେ ସମାଗମ ହେବାର ସମ୍ଭାବନା ଥିବାରୁ ସୁରକ୍ଷା ବ୍ୟବସ୍ଥାକୁ ବ୍ୟାପକ ଓ ଅଧିକ ସକ୍ରିୟ କରାଯିବାକୁ ବୈଠକରେ ନିଷ୍ପତ୍ତି ନିଆଯାଇଛି ।