ଶିବରାତ୍ରି ବ୍ରତକୁ କିଭଳି ପାଳନ କରିବା ଠିକ୍ ??

ଶିବରାତ୍ରି ବ୍ରତକୁ ଚାରୋଟି ପ୍ରହରରେ ସମ୍ପନ୍ନ କରାଯାଏ । ପ୍ରତ୍ୟେକ ପ୍ରହରର ସମୟ ତିନି ଘଟିକା । ପ୍ରଥମ ପ୍ରହର ବା ସନ୍ଧ୍ୟା ସମୟରେ ଶିବଲିଙ୍ଗକୁ ଦୁଗ୍ଧରେ ଅଭିଷେକ କରାଯାଏ । ଦ୍ୱିତୀୟ ପ୍ରହର ବା ସନ୍ଧ୍ୟାର ପରବର୍ତ୍ତୀ ସମୟରେ ଲିଙ୍ଗକୁ ଦହିରେ ଅଭିଷେକ କରାଯାଏ । ତୃତୀୟ ପ୍ରହର ବା ଘୋର ରାତ୍ର ସମୟରେ ଶିବଲିଙ୍ଗକୁ ମହୁରେ ଅଭିଷେକ କରାଯାଏ । ରାତ୍ରର ଶେଷ ପ୍ରହର ସମୟରେ ଶିବ ମନ୍ଦିରର ଚୁଡ଼ାଦେଶକୁ ମହାଦୀପ ଉଠାଯାଏ । ସାରା ସଂସାରରୁ ଅଜ୍ଞାନ ରୂପକ ଅନ୍ଧକାରକୁ ଦୂରକରି ଆଲୋକ ପ୍ରଦାନ କରିବା ହେଉଛି ମହାଦୀପ ଉଠାଣର ଉଦ୍ଦେଶ୍ୟ ।

ରାତ୍ରର ପ୍ରତ୍ୟେକ ପ୍ରହରରେ ଶିବଲିଙ୍ଗକୁ ପୁଷ୍ପ, ପତ୍ର ଓ ଫଳ ଆଦି ପ୍ରଦାନ କରାଯାଇ ଉପାସନା କରାଯାଏ । ଏହିଦିନ ଭଗବାନ ଶିବଙ୍କ ଉପରେ କେତକୀଫୁଲ ଚଢ଼ାଯିବାର ବିଧି ରହିଛି ।ଏହିଦିନ ହିନ୍ଦୁ ନରନାରୀ ଶୁଦ୍ଧପୂତ ଭାବରେ ଉପବାସ ପୂର୍ବକ ଅଖଣ୍ଡ ଦୀପ ଜାଳି ରାତ୍ରି ଉଜାଗର ରହି ବ୍ରତ ପାଳୁଥିବାରୁ ଏହାକୁ ଜାଗର ଓଷା ବା ଜାଗର ବ୍ରତ ମଧ୍ୟ କୁହାଯାଇଥାଏ। ଆତ୍ମ କଲ୍ୟାଣର ରାସ୍ତା କୁ ପରିସ୍କାର କରିବାପାଇଁ ଅଖଣ୍ଡ ସଜାଗତା ଓ ଜ୍ଞାନର ଆଲୋକ ଏ ଦୁଇଟିର ଆବଶ୍ୟକତା ରହିଛି ବୋଲି ଏଇ ପର୍ବ ଶିକ୍ଷା ଦିଏ ।

ମଧ୍ୟରାତି ରେ ମନ୍ଦିରର ଶିଖରକୁ ବିଶାଳ ମହାଦୀପ ନିଆଯାଏ । ତାହାକୁ ଦର୍ଶନ କରି ଭକ୍ତମାନେ ବ୍ରତ ଉଦ୍ଯାପନ କରନ୍ତି । ପରଦିନ ସ୍ନାନାଦି ସମାପନ କରି ଭକ୍ତମାନେ ସେମାନଙ୍କ ଉପବାସ ଭଙ୍ଗ କରିଥାନ୍ତି।