ସବୁ ପ୍ରାଥମିକ ସମବାୟ ସମିତିର ଅଡିଟ୍ କରିବାକୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟରେ ୧୫୪୨ଟି ବହୁମୁଖୀ ପ୍ରାଥମିକ କୃଷି ସମବାୟ ସମିତିର ଶୁଭାରମ୍ଭ କରିଛନ୍ତି । ଲୋକ ସେବା ଭବନର କନଭେନସନ ସେଣ୍ଟରଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଏହି ସମବାୟ ସମିତି ଗୁଡ଼ିକର ଶୁଭାରମ୍ଭ କରିଛନ୍ତି ।ସୂଚନା ଯୋଗ୍ୟ ଯେ, ରାଜ୍ୟରେ ସମୁଦାୟ 2711ଟି ପ୍ୟାକ୍ସ (PACS)ଥିବା ବେଳେ, ରାଜ୍ୟ ସରକାର ଆଉ 1542ଟି ନୂଆ ବହୁମୁଖୀ ପ୍ୟାକ୍ସ ( MPACS) ଗଠନ କରିଛନ୍ତି । ଏହା ଦ୍ୱାରା ରାଜ୍ୟର ସମୁଦାୟ ପ୍ୟାକ୍ସ ସଂଖ୍ୟା 4253ରେ ପହଞ୍ଚିଲା । ପ୍ରଥମ ପର୍ଯ୍ୟାୟରେ ୭୭ଟି ପ୍ୟାକ୍ସକୁ ମଡେଲ୍ ପ୍ୟାକ୍ସ ଭାବରେ ବିକଶିତ କରିବା ପାଇଁ ନିଷ୍ପତି ନେଇଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ । ଏହି ମଡେଲ ପ୍ୟାକ୍ସ ଗୁଡିକ ଗୋଟିଏ ଗୋଟିଏ ଓ୍ବାନ ଷ୍ଟପ ସପ୍ ଭଳି କାର୍ଯ୍ୟ କରିବ, ଅର୍ଥାତ ଗୋଟିଏ ଛାତ ତଳେ କୃଷି ସମ୍ବନ୍ଧୀୟ ସବୁ ପ୍ରକାର ସୁବିଧା ମିଳିବ ବୋଲି ସେ କହିଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ ଯେ, ୨୦୧୫ ମସିହାରୁ ବନ୍ଦ ହୋଇ ପଡିଥିବା ଭୁବନେଶ୍ୱର ସହରାଞ୍ଚଳ ସମବାୟ ବ୍ୟାଙ୍କର (Bhubaneswar Urban Cooperative Bank) ସମସ୍ତ ଜମାକାରୀମାନଙ୍କୁ ଜମାରାଶି ଫେରସ୍ତ କରିବା ପାଇଁ ସରକାର ନିଷ୍ପତ୍ତି ନେଇଛନ୍ତି ।
ଏହା ଦ୍ୱାରା ସମବାୟ ବ୍ୟାଙ୍କ ଉପରେ ଲୋକମାନଙ୍କ ଆସ୍ଥା ପୁନଃ ପ୍ରତିଷ୍ଠାରେ ସହାୟକ ହେବ ବୋଲି ସେ କହିଥିଲେ । ମୁଖ୍ୟମନ୍ତ୍ର ପୁଣି କହିଛନ୍ତି , ସମବାୟ ଆନ୍ଦୋଳନକୁ ଲୋକାଭିମୁଖୀ କରିବା ପାଇଁ କେନ୍ଦ୍ର ସରକାରଙ୍କ ସମବାୟ ବିଭାଗ ଆନୁକୂଲ୍ୟରେ ବିଭିନ୍ନ ନୂତନ କାର୍ଯ୍ୟକ୍ରମକୁ କାର୍ଯ୍ୟକାରୀ କରିବା ପାଇଁ ଆମ ସରକାର ପ୍ରାଧାନ୍ୟ ଦେଉଛନ୍ତି। ଏଥିରେ ସମୁଦାୟ ୫୪ ଟି କାର୍ଯ୍ୟକ୍ରମ ହାତକୁ ନିଆ ଯାଇଛି। ଏଗୁଡିକ ମଧ୍ୟରୁ କେତେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମ ହେଉଛି, PACS ଓ LAMPCS ଗୁଡିକୁ ବହୁମୁଖି କରିବା ପାଇଁ ମଡେଲ ବାଇ-ଲ ପ୍ରଚଳନ; କମ୍ପ୍ୟୁଟରିକରଣ ମାଧ୍ୟମରେ PACS ଗୁଡିକୁ ସ୍ୱଚ୍ଛ ଓ ମଜଭୁତ କରିବା, ସାର ଓ ବିହନ ଯୋଗାଣ, ଜନ ଔଷଧୀ କେନ୍ଦ୍ର ଓ କମନ୍ ସର୍ଭିସ ସେଣ୍ଟର ସ୍ଥାପନ, କୃଷି ସେବା କେନ୍ଦ୍ର ସ୍ଥାପନ, Consumer Store ସ୍ଥାପନ, ବୈଜ୍ଞାନିକ ପଦ୍ଧତିରେ ଶସ୍ୟ ସଂରକ୍ଷଣ କେନ୍ଦ୍ର ସ୍ଥାପନ ଇତ୍ୟାଦି ।
